ବାଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପର ପ୍ରଭାବ ଏବେ ଦେଖିବାକୁ ମିଳୁଛି । ଓଡ଼ିଶାର ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ଲାଗି ରହିଛି । ଆସନ୍ତା ଦୁଇଦିନ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ । କିଛିକିଛି ସ୍ଥାନରେ ବଜ୍ରପାତ ସହିତ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ସତର୍କତା ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବାଂଲାଦେଶ ଏବଂ ଏହାର ସଂଲଗ୍ନ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଏହା ଆସନ୍ତା ୨୪ ଘଣ୍ଟାରେ ପଶ୍ଚିମ-ଉତ୍ତର ପଶ୍ଚିମ ଦିଗକୁ ଗତି କରିବା ସହ ବର୍ଷା କରାଇବ । ଅନ୍ୟପଟେ ମଙ୍ଗଳବାର ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସାରା ରାଜ୍ୟକୁ ଛୁଇଁଥିବାରୁ ସବୁ ଜିଲାରେ ବର୍ଷା ଜାରି ରହିଛି ।
ଆସନ୍ତା ୩ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି । ୧୯ ତାରିଖ ପର୍ଯ୍ୟନ୍ତ ସମୁଦ୍ର ଅଶାନ୍ତ ରହିଥିବାରୁ ଏହି ସମୟରେ ମତ୍ସ୍ୟଜୀବୀଙ୍କୁ ସମୁଦ୍ରକୁ ଯିବାକୁ ବାରଣ କରାଯାଇଛି । ବର୍ଷା ସମୟରେ ବଜ୍ରପାତ ପାଇଁ ସତର୍କ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି । ବୁଧବାର କେନ୍ଦୁଝର, ସୁନ୍ଦରଗଡ଼, ମୟୂରଭଞ୍ଜ ଓ ଝାରସୁଗୁଡ଼ାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଅରେଞ୍ଜ ଓ୍ୱାର୍ନିଂଜାରି କରାଯାଇଛି। ଏସବୁଜିଲାକୁ ବିଜୁଳି ଘଡ଼ଘଡ଼ି ଭୟ ରହିଥିବାବେଳେ ଘଣ୍ଟାପ୍ରତି ୩୦ରୁ ୪୦ କିଲୋମିଟର ବେଗରେ ଝଟକା ପବନ ବହିବାର ସମ୍ଭାବନା ରହିଛି ।
ଅନ୍ୟପଟେ ବାଲେଶ୍ୱର, ଭଦ୍ରକ, ସମ୍ବଲପୁର, ଦେବଗଡ଼, ବରଗଡ଼, ଅନୁଗୋଳ, ଢ଼େଙ୍କାନାଳ, ଯାଜପୁର, କେନ୍ଦ୍ରାପଡ଼ା, ଜଗତ୍ସିଂହପୁର ଓ କଟକ ଆଦି ଜିଲାକୁ ବଜ୍ରପାତ ପାଇଁ ୟେଲୋ ଓ୍ୱାର୍ନିଂ ଜାରି କରାଯାଇଛି । ସେହିପରି ପ୍ରବଳ ବର୍ଷା ନେଇ ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ସୋନପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା ଓ ମାଲକାନଗିରି ଆଦି ଜିଲାକୁ ୟେଲୋ ଓ୍ୱାର୍ନିଂ ଦିଆଯାଇଛି ।
ALSO READ https://purvapaksa.com/what-strategy-is-india-preparing-for-the-indian-ocean/
