School News: ରେକର୍ଡ ପରେ ରେକର୍ଡ ଭାଙ୍ଗୁଛି ତାପମାତ୍ରା। କେବେ ରାଜ୍ୟରେ ତ କେବେ ଦେଶର ଅନେକ ଜାଗାରେ ତାପମାତ୍ରା ବଢ଼ିବାରେ ଲାଗିଛି । ମାର୍ଚ୍ଚ ପହିଲାରୁ ଉପରମୁହାଁ ହୋଇଚଛି ପାରଦ। ଜାରି ରହିଛି ଅସହ୍ୟ ଗ୍ରୀଷ୍ମ ଲହରୀ। ଆଗକୁ ତାତି ଆହୁରି ବଢିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଉଛି। ଅସ୍ତବ୍ୟସ୍ତ ହୋଇ ପଡ଼ିଛି ଜନଜୀବନ।
ତେବେ ଏହାକୁ ନେଇ ରାଜ୍ୟରେ ଗ୍ରୀଷ୍ମ ପ୍ରବାହର ମୁକାବିଲା ପ୍ରସ୍ତୁତି ସମ୍ପର୍କରେ ଗତକାଲି (ମଙ୍ଗଳବାର) ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସମୀକ୍ଷା କରିଛନ୍ତି । ପୂର୍ବାହ୍ନ ୧୧ରୁ ଅପରାହ୍ନ ୫ ଓ ରାତି ୯ରୁ ସକାଳ ୬ ପର୍ଯ୍ୟନ୍ତ ବିଦ୍ୟୁତ କାଟ ନକରିବାକୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ । କାଳବୈଶାଖୀ ସମୟରେ ବିଦ୍ୟୁତ ସରବରାହ ବିଚ୍ଛିନ୍ନ ନ ହେବା ପାଇଁ ଆଗୁଆ ସତର୍କ ରହିବାକୁ ସେ ପରାମର୍ଶ ଦେଇଛନ୍ତି ।
ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି, ସ୍କୁଲଗୁଡିକୁ ସକାଳୁଆ ହେବ । ଏଥିପାଇଁ ତୁରନ୍ତ SOP ଜାରି ହେବ । ଏହାକୁ ନେଇ ମୁଖ୍ୟମନ୍ତ୍ରୀ ଶିକ୍ଷା ବିଭାଗକୁ ନିର୍ଦ୍ଦେଶ ଦେଇଛନ୍ତି । ଅଙ୍ଗନବାଡି କେନ୍ଦ୍ର ଗୁଡିକର ସମୟ ପରିବର୍ତ୍ତନ ହୋଇଛି । ସକାଳ ୭ରୁ ୯ ମଧ୍ୟରେ ଅଙ୍ଗନବାଡିରେ ପଢ଼ାଯିବ । ପଞ୍ଚାୟତିରାଜ ବିଭାଗ ପକ୍ଷରୁ ୧୭ ହଜାରରୁ ଅଧିକ ନଳକୂପ ମଞ୍ଜୁର କରାଯାଇଛି ।
କୌଣସି ଜାଗାରେ ଯେପରି ପାଣି ପାଇଁ ଅସୁବିଧା ନ ହୁଏ, ତାହାକୁ ଦୃଷ୍ଟିରେ ରଖି ସପ୍ତାହକ ମଧ୍ୟରେ ନଳକୂପ ସ୍ଥାପନ ଓ ମରାମତି ହେବ । ଏଥିପାଇଁ ପଦକ୍ଷେପ ନେବାକୁ ଜିଲ୍ଲାପାଳଙ୍କୁ କଡା ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ଯେଉଁସବୁ ଅଞ୍ଚଳରେ ପାନୀୟ ଜଳର ଅଭାବ ପରିଲକ୍ଷିତ ହେଉଛି, ସେ ସବୁ ଅଞ୍ଚଳକୁ ଚିହ୍ନଟ କରି ବୋରୱେଲ ଓ ନଳକୂପର ବ୍ୟବସ୍ଥା କରିବା ପାଇଁ ମୁଖ୍ୟମନ୍ତ୍ରୀ ଜିଲ୍ଲାପାଳଙ୍କୁ ପରାମର୍ଶ ଦେଇଛନ୍ତି ।
ମୁଖ୍ୟମନ୍ତ୍ରୀ ଆହୁରି ମଧ୍ୟ କହିଛନ୍ତି,”ଅଂଶୁଘାତର ମୁକାବିଲା ପାଇଁ ଛାଇ ଓ ପାଣି ହେଉଛି ସବୁଠାରୁ ଗୁରୁତ୍ବପୂର୍ଣ୍ଣ । ସହରାଞ୍ଚଳରେ ଟ୍ରାଫିକ ଛକ ଏବଂ ଗ୍ରାମାଞ୍ଚଳରେ ବସଷ୍ଟାଣ୍ଡ ଗୁଡିକରେ ଛାଇ ପାଇଁ ଟେଣ୍ଟ ବ୍ୟବସ୍ଥା କରାଯିବ । ଏହା ସହ ଜଳଛତ୍ର ବ୍ୟବସ୍ଥା କରିବା ପାଇଁ ସମସ୍ତେ ଯତ୍ନବାନ ହେବା ଆବଶ୍ୟକ । ବିଗତ ଦିନରେ ସଚେତନତାମୂଳକ ପ୍ରଚାର ପ୍ରସାର ଜରିଆରେ ଆମେ ସଫଳତା ପାଇଛୁ । ତେଣୁ ଅଂଶୁଘାତରୁ ରକ୍ଷା ପାଇବା ପାଇଁ ଟିଭି, ରେଡିଓ, ଖବରକାଗଜ ଓ ସାମାଜିକ ଗଣମାଧ୍ୟମ ଜରିଆରେ ବ୍ୟାପକ ପ୍ରଚାର ପ୍ରସାର ଉପରେ ଦିଆଯିବ ।”
ଜାତୀୟ ଶିକ୍ଷା ନୀତି ଅଧୀନରେ ପ୍ରଥମ ଶ୍ରେଣୀ ନାମଲେଖା ପାଇଁ ବୟସ ମାନଦଣ୍ଡ ଧାର୍ଯ୍ୟ କଲେ ରାଜ୍ୟ ସରକାର