ଦୁଇଦିନିଆ ଉତ୍କର୍ଷ ଓଡ଼ିଶା ମେକ୍ ଇନ୍ ଓଡ଼ିଶା କନକ୍ଲେଭ୍ ୨୦୨୫ ଆମ ପାଇଁ ଅପାର ସଫଳତା ଆଣିଛି ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଏଥିରେ ସାରାବିଶ୍ୱର ଅନେକ ଶିଳ୍ପପତି, ବିଜନେସ୍ ଡେଲିଗେଟ୍, ପୁଞ୍ଜି ନିବେଶକ ଓ ନୀତି ନିର୍ଦ୍ଧାରକମାନେ ଯୋଗଦେଇଥିଲେ।
କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ମୋଦୀ ନିଜେ ଉପସ୍ଥିତ ରହି ଓଡ଼ିଶାରେ ପୁଞ୍ଜି ନିବେଶ ପାଇଁ ତାଙ୍କର ଗ୍ୟାରେଣ୍ଟି- ‘ମୋଦୀ ଗ୍ୟାରେଣ୍ଟି’ ଦେଇଥିଲେ। ୨୦୩୬ ସୁଦ୍ଧା ସମୃଦ୍ଧ ଓଡ଼ିଶା ଗଠନ କରିବା ଓ ୨୦୪୭ ସୁଦ୍ଧା ବିକଶିତ ଭାରତରେ ଓଡ଼ିଶାକୁ ଏକ ଗ୍ରୋଥ୍ ଇଞ୍ଜି୍ନ କରିବା ପାଇଁ ସେ ସମ୍ପୂର୍ଣ୍ଣ ସହଯୋଗ ଯୋଗାଇ ଦେଇ ଆସିଛନ୍ତି। ଡବଲ ଇଞ୍ଜିନ ସରକାରରେ ତାଙ୍କର ଯାହା ଭୂମିକା ରହିବା କଥା ତାକୁ ସେ ସମ୍ପୂର୍ଣ୍ଣଭାବେ ନିର୍ବାହ କରିଛନ୍ତି। ଏହାଦ୍ୱାରା ଦେଶର ଶ୍ରେଷ୍ଠ ପାଞ୍ଚଟି ଅର୍ଥନୀତି ମଧ୍ୟରେ ସ୍ଥାନ ପାଇବା ପାଇଁ ଆମର ଯେଉଁ ସଂକଳ୍ପ ରହିଛି, ଆମେ ତାହାର ନିକଟତର ହୋଇପାରିଛୁ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।
ଏହି ସମ୍ମିଳନୀରେ ସମୁଦାୟ ୧୪୫ଟି ରାଜିନାମା (MoU) ସ୍ୱାକ୍ଷରିତ ହୋଇଛି। ଏହି ରାଜିନାମାଗୁଡ଼ିକ ଓଡ଼ିଶାର ଶିଳ୍ପକ୍ଷେତ୍ରରେ କାୟକଳ୍ପ ପରିବର୍ତ୍ତନ କରିବା ସହିତ ବିଶ୍ୱ ସ୍ତରୀୟ ଶିଳ୍ପସଂସ୍ଥାମାନଙ୍କ ସହିତ ସହଭାଗିତାର ନୂଆ ଯୁଗ ଆରମ୍ଭ କରିବ। ଏହି ରାଜିନାମାଗୁଡ଼ିକ ଜରିଆରେ ସମୁଦାୟ ୧୨ ଲକ୍ଷ ୮୯ ହଜାର କୋଟି ଟଙ୍କାର ପୁଞ୍ଜିନିବେଶ ପାଇଁ ରାଜିନାମା ହୋଇଛି। କେମିକାଲସ୍, ପେଟ୍ରୋକେମିକାଲସ୍, ଟେକ୍ସଟାଇଲସ୍, ମାଇନିଂ ଓ ମେଟାଲଜି, ନବୀକରଣୀୟ ଶକ୍ତି, ଆଇ.ଟି, ପର୍ଯ୍ୟଟନ ଏବଂ ଖାଦ୍ୟ ପ୍ରକ୍ରିୟାକରଣ ପରି ବିବିଧ କ୍ଷେତ୍ରରୁ ପୁଞ୍ଜିନିବେଶର ପ୍ରସ୍ତାବ ଆସିଛି। ଏହାଦ୍ୱାରା ରାଜ୍ୟରେ ୮ ଲକ୍ଷ ୯୪ ହଜାରରୁ ଅଧିକ ନିଯୁକ୍ତି ସୁଯୋଗ ସୃଷ୍ଟି ହେବାର ସମ୍ଭାବନା ରହିଛି ।
ଏହା ଓଡ଼ିଶାର ସାମାଜିକ ଓ ଅର୍ଥନୈତିକ କ୍ଷେତ୍ରରେ ବ୍ୟାପକ ପରିବର୍ତ୍ତନ ଆଣିବା ସହିତ ରାଜ୍ୟରେ ସମାବେଶୀ ଅଭିବୃଦ୍ଧି ହୋଇପାରିବ। ଏମଓୟୁ ସ୍ୱାକ୍ଷର ବ୍ୟତୀତ ଆହୁରି ୩.୮୪ ଲକ୍ଷ କୋଟି ଟଙ୍କାର ୪୪୮ ଟି ପୁଞ୍ଜିନିବେଶ ଅଭିପ୍ରାୟ ମଧ୍ୟ ଆମେ ନିର୍ଦ୍ଧାରିତ ଫର୍ମରେ ଗ୍ରହଣ କରିଛୁ। ଏହାଦ୍ୱାରା ୩.୯୨ ଲକ୍ଷ ନିଯୁକ୍ତି ସୁଯୋଗର ସମ୍ଭାବନା ରହିଛି ବୋଲି ମୁଖ୍ୟମନ୍ତ୍ରୀ ସୂଚନା ଦେଇଛନ୍ତି।
ସିଙ୍ଗାପୁର, ମାଲେସିଆ ଓ ଅଷ୍ଟ୍ରେଲିଆ ପରି ପାର୍ଟନର ଦେଶର ପ୍ରତିନିଧିମାନଙ୍କ ସହିତ ୧୬ଟି ଦେଶର ପ୍ରତିନିଧି ଏହି କନକ୍ଲେଭରେ ଯୋଗଦେଇଥିଲେ। ଏହାଦ୍ୱାରା ବିଶ୍ୱ ନିବେଶ ମାନଚିତ୍ରରେ ଓଡ଼ିଶା ଏକ ଆକର୍ଷଣୀୟ ସ୍ଥାନ ହୋଇପାରିଛି। ଦ୍ୱିତୀୟ ଦିନ କାର୍ଯ୍ୟକ୍ରମରେ ବୟନ ଶିଳ୍ପ ଓ ପୋଷାକ, ନବୀକରଣୀୟ ଶକ୍ତି, ସ୍କିଲଡ୍ ଇନ୍ ଓଡ଼ିଶା, ମହିଳାମାନଙ୍କ ଉଦ୍ୟୋଗ ସ୍ଥାପନ, ପର୍ଯ୍ୟଟନ, ସର୍କୁଲାର ଇକୋନମି, କୃଷି ଓ ଖାଦ୍ୟ ପ୍ରକ୍ରିୟାକରଣ, ସ୍ୱାସ୍ଥ୍ୟ, ଫାର୍ମା ଓ ବାୟୋଟେକ୍ ଏବଂ ଶିଳ୍ପ ଭିତ୍ତିଭୂମି ଆଦି ବିଭିନ୍ନ କ୍ଷେତ୍ରୀୟ ଶିଳ୍ପ ସମ୍ପର୍କରେ ଆଲୋଚନା ହୋଇଥିଲା।
ଏହି ସବୁ କ୍ଷେତ୍ରଗୁଡ଼ିକରେ ପୁଞ୍ଜିନିବେଶ ଓ ଅଭିବୃଦ୍ଧି ପାଇଁ ବିଭିନ୍ନ ରଣନୀତି ଉପରେ ପ୍ରସ୍ତାବ ରଖାଯାଇଥିଲା। ଆଧୁନିକ ଓ ଆଗାମୀ ଦିନରେ ଶିଳ୍ପର ଆବଶ୍ୟକତାକୁ ଦୃଷ୍ଟିରେ ରଖି ଆମର ୱାର୍କଫୋର୍ସକୁ ପ୍ରସ୍ତୁତ କରିବା ପାଇଁ ବିଭିନ୍ନ ରଣନୀତି ଉପରେ ସ୍କିଲଡ୍ ଇନ୍ ଓଡ଼ିଶା ସେସନରେ ଆଲୋଚନା କରାଯାଇଥିଲା। ଏହି ଦୁଇଦିନର କାର୍ଯ୍ୟକ୍ରମ ଗଣମାଧ୍ୟମ ଜରିଆରେ ଉତ୍କର୍ଷ ଓଡ଼ିଶାର ସମ୍ବାଦ ସମସ୍ତଙ୍କ ପାଖରେ ପହଞ୍ଚି ପାରିଛି। ଏଥିପାଇଁ ମୁଖ୍ୟମନ୍ତ୍ରୀ ଗଣମାଧ୍ୟମ ସଂସ୍ଥା ଓ ଏଥିରେ କାମ କରୁଥିବା ସାମ୍ବାଦିକ ବନ୍ଧୁମାନଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ।
Also readhttps://purvapaksa.com/bhicaji-balsara-firstindian-to-obtain-american-citizenship-100-years-ago/