ରାଜ୍ୟରେ ଏବେ ସକ୍ରିୟ ରହିଛି ମୌସୁମୀ ଏହାସହ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଅବପାତ ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶା ଦେଇ ଆଗକୁ ବଢ଼ୁଛି। ଏହାର ପ୍ରଭାବରେ ଆସନ୍ତା ୨୬ ତାରିଖ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ ଝଡ଼ବର୍ଷା ହେବା ନେଇ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ। ବିଭିନ୍ନ ଜିଲ୍ଲାକୁ ଅରେଞ୍ଜ ଓ ୟେଲୋ ୱାର୍ଣ୍ଣିଂ ଜାରି କରି ଏହି ସମୟରେ ସତର୍କ ରହିବାକୁ ପରାମର୍ଶ ଦେଇଛି ପାଣିପାଗ କେନ୍ଦ୍ର । ଆସନ୍ତାକାଲି ଅର୍ଥାତ୍ ଅଗଷ୍ଟ ୨୨ ତାରିଖରେ ରାଜ୍ୟର ପ୍ରାୟ ସବୁ ଅଞ୍ଚଳରେ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଆଲର୍ଟ ଜାରି ହୋଇଥିବା ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ଓ ୩୦-୪୦ କିମି ବେଗରେ ପବନ ବହିବାର ସମ୍ଭାବନା ରହିଛି।
୨୨ ତାରିଖରେ ପୁରୀ, ଜଗତସିଂହପୁର, ଖୋର୍ଦ୍ଧା, କଟକ, ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ନୟାଗଡ଼, ଗଞ୍ଜାମ, ଗଜପତି, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, ସୋନପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ରାୟଗଡ଼ା, ନବରଙ୍ଗପୁର, କୋରାପୁଟ, ମାଲକାନଗିରି ଭଳି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ଅଗଷ୍ଟ ୨୩ ତାରିଖ ପାଇଁ ମଧ୍ୟ ଝାରସୁଗୁଡ଼ା, ସୁନ୍ଦରଗଡ଼, ଜଗତସିଂହପୁର, କେନ୍ଦ୍ରାପଡ଼ା ଓ କଟକ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରି ସତର୍କ କରିଛି ପାଣିପାଗ କେନ୍ଦ୍ର । ଏହି ସବୁ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହ ଘଡ଼ଘଡ଼ି ଓ ୩୦-୪୦ କିଲୋମିଟର ପ୍ରତି ଘଣ୍ଟା ବେଗରେ ପବନ ହେବାର ସମ୍ଭାବନା ରହିଛି । ସେପଟେ ବର୍ଷା ସହ ସମୁଦ୍ର ଅଶାନ୍ତ ରହିବା ଯୋଗୁଁ ଆସନ୍ତା ୨୩ ତାରିଖ ପର୍ଯ୍ୟନ୍ତ ମତ୍ସ୍ୟ-ଜୀବିମାନଙ୍କୁ ସମୁଦ୍ରକୁ ଯିବାକୁ ବାରଣ କରିଛି ପାଣିପାଗ ବିଭାଗ।
Also Read https://purvapaksa.com/pakistan-sc-grants-bail-to-imran-khan-in-may-9-riots-cases/
